ରାଜ୍ଯରେ ୮୯ ଗୋଟି ବହୁମୁଖୀ ଇନଡୋର ଷ୍ଟାଡିୟମ ନିର୍ମାଣକୁ ମଞ୍ଜୁରୀ

ଭୂବନେଶ୍ବର,୦୯ /୦୮: (ସଂକେତ୍ ଟିଭି) ରାଜ୍ୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପ” ଯୋଜନାରେ ୮୯ ଗୋଟି ବହୁମୂଖୀ ଇନ୍‌ଡୋର୍ ଷ୍ଟାଡିୟମ ନିର୍ମାଣ ନିମନ୍ତେ ମଞ୍ଜୁରୀ ପ୍ରଦାନ କରିଛନ୍ତି। ୬୯୩.୩୫ କୋଟି ଟଙ୍କା ବ୍ୟୟ ବରାଦରେ ଏହି ପ୍ରକଳ୍ପ ଗୁଡିକୁ ୧୮ ମାସରେ ସମ୍ପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

ଏହି ଇନଡୋର ଷ୍ଟାଡିୟମଗୁଡ଼ିକ ବହୁମୂଖୀ ଉପଯୋଗ ନିମନ୍ତେ ବ୍ୟବହୃତ ହେବ । ବ୍ୟାଡମିଣ୍ଟନ, ଟେବୁଲ ଟେନିସ୍, ଭାରୋତ୍ତଳନ ଆଦି କ୍ରୀଡ଼ା ସହ ଯୋଗ ଓ ବ୍ୟାୟାମଶାଳାର ବ୍ୟବସ୍ଥା ମଧ୍ୟ ଉକ୍ତ ଷ୍ଟାଡିୟମରେ ରହିବ । ଏହି ଆନ୍ତଃଗୃହ ଗୁଡ଼ିକ ଉକ୍ତ ଅଞ୍ଚଳର ଅନ୍ୟାନ୍ୟ ଲୋକପ୍ରିୟ ଇନଡୋର ଖେଳ ନିମନ୍ତେ ମଧ୍ୟ ବ୍ୟବହୃତ କରାଯାଇ ପାରିବ । ଇନଡୋର ଷ୍ଟାଡିୟମ ଗୁଡ଼ିକ ଘଣ୍ଟାପ୍ରତି ୨୦୦ କି.ମି. ପବନର ବେଗକୁ ସହ୍ୟ କରିପାରୁଥିବା ଭଳି ନିର୍ମାଣ କରାଯିବ ଯଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ମହାବାତ୍ୟା ଏବଂ ବନ୍ୟା ଆଦି ସମୟରେ ଏଗୁଡ଼ିକ ଆଶ୍ରୟ କେନ୍ଦ୍ର ରୂପେ ବ୍ୟବହୃତ ହୋଇପାରିବ ।

ମହାମାରୀ ସମୟରେ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଷ୍ଟାଡିୟମ ଗୁଡ଼ିକ ୫୦ ଗୋଟି ଶଯ୍ୟା ବିଶିଷ୍ଟ ଏବଂ ପୌରାଞ୍ଚଳରେ ୧୦୦ ଗୋଟି ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ରୂପେ ବ୍ୟବହାର କରାଯାଇ ପାରିବ । ଏହା ବାଦ୍ ତାଲିମ୍ ପ୍ରଦାନ, ସଭା ପରିଚାଳନା, ପରୀକ୍ଷା କେନ୍ଦ୍ର ଇତ୍ୟାଦି କାର୍ଯ୍ୟ ପାଇଁ ମଧ୍ୟ ଉକ୍ତ ଷ୍ଟାଡିୟମ ଅତ୍ୟନ୍ତ ଉପଯୋଗୀ ହୋଇପାରିବ । ଏହି ପ୍ରକଳ୍ପ ଦ୍ୱାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଆହୁରି ଦୃଢ଼ୀଭୁତ ହେବ ।