ଲଘୁଚାପ ପ୍ରଭାବରେ ବର୍ଷା ଜାରି, ୨୪ ଘଣ୍ଟାରେ ହେବ ଅଧିକ ଘନୀଭୂତ

ଭୁବନେଶ୍ବର : (ସଂକେତ୍ ଟିଭି) ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଉପକୂଳ ଓଡିଶାରେ ବର୍ଷା ଜାରି ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୩ତାରିଖରେ ଉପକୂଳ ଓଡ଼ିଶା ପ୍ରଭାବିତ ହେବାକୁ ଥିବା ବେଳେ ୧୪ ତାରିଖରେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶା ପ୍ରଭାବିତ ହେବ। ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହି ସମୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ। ସର୍ବାଧିକ ପବନ ୬୫ କିଲୋମିଟର ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୧୫ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।