ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : (ସଂକେତ ଟିଭି) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କୃଷି ଯାନ୍ତ୍ରିକୀକରଣ ଓ ଫସଲ ବିବିଧତା ଉପରେ ଗୁରୁତ୍ବାରୋପ କରି ଚାଷୀମାନଙ୍କୁ ନୂଆ ନୂଆ ଟେକ୍ନୋଲୋଜିର ବ୍ୟବହାର କରିବା ସହିତ ଅଧିକ ପରିମାଣରେ ଅଣଧାନ ଅର୍ଥକାରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ କୃଷି ଓଡ଼ିଶା-୨୦୨୩ ଆଜିଠାରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟେକ୍‌ନୋଲୋଜି ହେଉଛି ବିକାଶର ଆଧାର। କୃଷି କ୍ଷେତ୍ରରେ ମଧ୍ୟ ଟେକ୍‌ନୋଲୋଜିର ବହୁତ ଆବଶ୍ୟକତା ରହିଛି । ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍‌ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଥିଲେ । ଚାଷୀମାନେ ସମସ୍ତେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବେ, ବ୍ୟବହାର କରିବେ ଏବଂ କୃଷି କ୍ଷେତ୍ରରେ ସଫଳ ହୋଇ ନିଜର ଓ ନିଜ ରାଜ୍ୟର ଉନ୍ନତିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କୃଷି ଓ କୃଷକମାନଙ୍କ ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । କୃଷି କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି।

‘କୃଷି ଓଡ଼ିଶା’ରେ ଉପସ୍ଥିତ ଥିବା ଡବ୍ଲ୍ୟୁଏଫପି, ଆଇଏଫଏଡି ଏବଂ ଏଫଏଓ ପରି ସଂସ୍ଥାର ପ୍ରତିନିଧିମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜର ଅଭିଭାଷଣ ରଖି କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି। କୃଷକମାନଙ୍କ ଆୟବୃଦ୍ଧିରେ କୃଷି ଆନୁସଙ୍ଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦିଆଯାଇ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ମାଛ, ମାଂସ, ଅଣ୍ଡା ଓ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ ହୋଇପାରିବା ସହିତ ଚାଷୀମାନଙ୍କ ରୋଜଗାର ମଧ୍ୟ ବୃଦ୍ଧି କରାଯାଇପାରିଛି ବୋଲି ସେ କହିଥିଲେ।

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିକାଶ ପ୍ରମୁଖ ସଚିବ ଡଃ ଅରବିନ୍ଦ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।