ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର (ସଂକେତ୍ ଟିଭି) ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍ ୭୦ ମିମିରୁ ୨୦୦ ମିମି ଏବଂ ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ।
ରବିବାର ସକାଳଠାରୁ ସୋମବାର ସକାଳ ସୁଦ୍ଧା ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ୨୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବ। ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାକୁ ଥିବା ୟେଲୋୱାର୍ଣ୍ଣିଂ ଦିଆଯାଇଛି। ଜୁନ୍ ୨୬ ତାରିଖ ସକାଳ ୮ଟାରୁ ୨୭ ତାରିଖ ସକାଳ ମଧ୍ୟରେ ବଲାଙ୍ଗୀର, କଳାହାଣ୍ଡି, ବରଗଡ଼ରେ ୨୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବ। ୨୮ ତାରିଖରେ ବି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗିରହିବ। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ସହ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।