LatestNews

ଭୁବନେଶ୍ବରରେ ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ବର (ସଂକେତ ଟିଭି): ଭୁବନେଶ୍ବରରେ ଆଜିଠାରୁ ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆରମ୍ଭ ହୋଇଛି । ଜନତା ମଇଦାନରେ ଆୟୋଜିତ ଏହି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି ।

ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’। ଏହି କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତ‌ାପ ସ୍ବାଇଁ , ଉନ୍ନୟନ କମିସନର ଅନୁ ଗର୍ଗ, କୃଷି ସଚିବ ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ସମ୍ମିଳନୀରେ ମିଲେଟ୍ ଚାଷ, ପ୍ରକ୍ରିୟାକରଣରେ କୃଷକମାନଙ୍କର ସଂପୃକ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ, ବୈଷୟିକ ଅଧିବେଶନ, ଅନ୍ତର୍ଜାତୀୟ ଖାଦ୍ୟମେଳା, କୁଇଜ୍ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ହେବ। ଏହା ସହ ମିଶନ ଶକ୍ତି ଅଧୀନ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ମିଲେଟ୍ ଉଦ୍ୟୋଗୀମାନଙ୍କ ସଫଳତାର କାହାଣୀ ପ୍ରଦର୍ଶିତ ହେବ।

ତେବେ ସାରା ଦେଶ ପାଇଁ ସମ୍ମଳନୀରେ ମିଲେଟ୍ ପଲିସି ରୋଡମ୍ୟାପ ପ୍ରସ୍ତୁତ ହେବ। ମାଣ୍ଡିଆ ଚାଷୀଙ୍କୁ ସ୍ୱତନ୍ତ୍ର ପ୍ରୋତ୍ସାହନ ସହ ଘର ଘରେ ମିଲେଟ୍ ବ୍ୟବହାର ବୃଦ୍ଧି ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଲକ୍ଷ୍ୟ ରଖିଛି। ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ଇଣ୍ଟରନ୍ୟାସନାଲ ଫଣ୍ଡ ଫର ଏଗ୍ରିକଲଚରାଲ ଡେଭଲମେଣ୍ଟ, ଆଫ୍ରିକୀୟ ଓ ୟୁରୋପୀୟ ଦେଶର କୃଷି ପରାମର୍ଶଦାତା ସାମିଲ ହେବେ। ଗ୍ରାମୀ ପୁରସ୍କାର ବିଜେତା ରିକି କେଜ୍, ଖାତନାମା ସେଫ୍ ବିକାଶ ଖାନ୍ନା ପ୍ରମୁଖ ସାମିଲ ହେବେ। ବୈଜ୍ଞାନିକ ପଦ୍ଧତି ଏବଂ ପାରମ୍ପରିକ ଜ୍ଞାନକୌଶଳର ମିଶ୍ରଣରେ ଓଡ଼ିଶାର ୩୦ଟି ଜିଲ୍ଲାର ୧୭୭ ବ୍ଲକକୁ ସଂପ୍ରସାରଣ କରାଯାଇଛି ମିଲେଟ୍ ଚାଷ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଭଳି ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆୟୋଜନ କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ମୋ ସରକାର ମିଲେଟ୍ ଚାଷ ଲାଗି ୨୫୦୦ କୋଟି ଟଙ୍କା ବିନିଯୋଗ କରୁଛି। ଯୁଗଯୁଗରୁ ପୁଷ୍ଟିଶସ୍ୟ ବା ମିଲେଟ୍‌ ଆମ ଖାଦ୍ୟପେୟର ଏକ ବିଶେଷ ଅଂଶ ହୋଇ ରହିଆସିଛି । ଓଡ଼ିଶାରେ ଏହାକୁ ବିଶେଷତଃ ଆଦିବାସୀ ସମ୍ପ୍ରଦାୟର କୃଷକମାନେ ଚାଷ କରି ଆସୁଛନ୍ତି । ସେମାନଙ୍କ ପାଇଁ ଏହି ମୂଲ୍ୟବାନ ଶସ୍ୟ ଆଜି ବି ବଞ୍ଚି ରହିଛି ଓ ବର୍ତ୍ତମାନର ପିଢି ପାଖରେ ପହଞ୍ଚି ପାରିଛି ।

ମିଲେଟ୍‌ ଚାଷରେ ସ୍ଵଳ୍ପ ପାଣି ବ୍ୟବହାର ହେଉଥିବାରୁ ଓ ଏହି ପ୍ରକ୍ରିୟାରେ ଅଙ୍ଗାରକାମ୍ଳ ଉତ୍ପନ କମ୍ ରହୁଥିବାରୁ ଏହା ପରିବେଶ ଅନୁକୂଳ । ୨୦୨୩ ବର୍ଷକୁ ଜାତିସଂଘ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ଘୋଷଣା କରି ଏହି ଶସ୍ୟପ୍ରତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି । ଏଥିଲାଗି ଜାତିସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃତଜ୍ଞତା ଜ୍ଞାପନ କରିଥିଲେ ।

ଓଡ଼ିଶା ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରୁଛି । ଏହି ପୁଷ୍ଟିଶସ୍ୟର ପୁନରୁଦ୍ଧାର ସହିତ ଏହାକୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଓଡ଼ିଶା ସରକାର କାମ କରୁଛନ୍ତି । ପ୍ରତ୍ୟେକ ଲୋକଙ୍କ ଖାଇବା ଥାଳିରେ ମିଲେଟ୍ ଭଳି ସର୍ବୋତ୍ତମ ଖାଦ୍ୟ ପହଞ୍ଚାଇବାକୁ ଚେଷ୍ଟା କରାଯିବ । ମିଲେଟ୍‌ ଓ ମିଲେଟ୍‌ ଭିଭିକ ଉଦ୍ୟୋଗ ମାଧ୍ୟମରେ ଆଦିବାସୀ ସମ୍ପ୍ରଦାୟକୁ ସଶକ୍ତ କରିବା ଆମର ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଓଡ଼ିଶାରେ ଏହାକୁ ବିଶେଷତଃ ଆଦିବାସୀମାନେ ଚାଷ କରି ଆସୁଛନ୍ତି । ସେମାନଙ୍କ ପାଇଁ ଏହି ମୂଲ୍ୟବାନ ଶସ୍ୟ ଆଜି ବି ବଞ୍ଚି ରହିଛି ଓ ବର୍ତ୍ତମାନର ପିଢ଼ି ପାଖରେ ପହଞ୍ଚିଛି । ଏହି ଅନନ୍ୟ ଶସ୍ୟ ଆଜିର ସମାଜରେ ତା’ର ଯୋଗ୍ୟ ସ୍ଵୀକୃତି ଫେରିପାଇବ ଏବଂ ସୁସ୍ଥ ଜୀବନଯାପନ କରିବାରେ ଆମ୍ଭମାନଙ୍କୁ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।