LatestNews

ଦାନା ବାନ୍ଧୁଛି ଲଘୁଚାପ, ୧୬ତାରିଖରୁ ରାଜ୍ୟରେ ବର୍ଷା ଆଶଙ୍କା

ଭୁବନେଶ୍ବର (ସଂକେତ ଟିଭି): ଆସନ୍ତା ୧୫ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଏକ ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ ମଧ୍ୟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛନ୍ତି।

ସୂଚନା ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାୟୁମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରଦିନ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପ୍ରାରମ୍ଭିକ ତଥ୍ୟାନୁଯାୟୀ ଏହି ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ନଭମ୍ବେର ୧୬ ସୁଦ୍ଧା ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ମୁହାଁଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି। ପ୍ରଭାବରେ ନଭେମ୍ବର ୧୫ରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ଦିନଗୁଡ଼ିକରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ନଭେମ୍ବର ୧୬ରୁ ୧୮ମଧ୍ୟରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କେନ୍ଦୁଝର ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।