LatestNews

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ବର (ସଂକେତ ଟିଭି): ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି।

ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ସେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ରହିଥିଲେ। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର କ୍ୟାବିନେଟ ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ଆଇଏଏସ ଅଫିସର ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରିବା ନିମନ୍ତେ ଅନୁମତି ଦେଇଥିଲେ। ଏହାପରେ ଚଳିତ ମାସ ୨୮ ତାରିଖରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

୧୯୯୦ ବ୍ୟାଚ୍‌ର ଏହି ବରିଷ୍ଠ ଆଇଏଏସ ଓଡ଼ିଶାରେ ଜଣେ ଉପଜିଲ୍ଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିସନର ଭାବେ ମଧ୍ଯ ସେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ସେ ଲାଲ୍ ବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ଏକାଡେମୀର ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବା ପରେ ସିବିଏସ୍ଇ ଅଧ୍ୟକ୍ଷ ଭାବେ ମଧ୍ୟ କାମ କରିଥିଲେ ।