ଅବପାତର ରୂପ ନେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର (ସଂକେତ୍ ଟିଭି)ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି । ଏହା ଗୋପାଳପୁରଠାରୁ ୨୬୦ କିମି ଏବଂ ପାରାଦୀପଠାରୁ ୨୯୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେବା ସହ ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଅତିକ୍ରମ କରିବ। ଏହା ପ୍ରଭାବରେ ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେପଟେ ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି । ବର୍ଷା ସମେତ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ରହିପାରେ । ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । କଚ୍ଚା ଘର କଚ୍ଚା ରାସ୍ତା ପ୍ରଭାବିତ ହେବା ସହ ଗଛ ଡାଳ ଭାଙ୍ଗିବାର ସମ୍ଭାବନା ରହିଛି । ଅବପାତ ପ୍ରଭାବରେ ଅଶାନ୍ତ ହେବ ସମୁଦ୍ର । ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁରକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି ।
ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୧ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ୮ ତାରିଖରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏ ସବୁ ସ୍ଥାନରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ୭୦ରୁ ୧୧୦ମିମି ଯାଏ ବର୍ଷା ସମ୍ଭାବନା ଅଛି ।
୯ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ବୌଦ୍ଧ ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବୌଦ୍ଧ, ନୂଆପଡା, କେନ୍ଦ୍ରାପଡା, ଜଗତସିଂହପୁର, ସୋନପୁର, ବଲାଙ୍ଗିର, ବରଗଡ଼, ଅନୁଗୁଳ, ସମ୍ବଲପୁର ଓ ଦେବଗଡରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
୧୦ ତାରିଖରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଢେଙ୍କାନାଳ, ବଲାଙ୍ଗୀର, ଅନୁଗୁଳ, ସୋନପୁର, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ୧୧ ତାରିଖରେ ବି ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।