ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ
କଟକ (ସଂକେତ ଟିଭି): ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ଆଜି କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ତଳେମୁଖ୍ୟମନ୍ତ୍ରୀ ମୋହନ ମାଝୀ ହସ୍ପିଟାଲରେ ସମୀରଙ୍କୁ ଭେଟିଥିଲେ । ତେବେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମୀରଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି ।
ସମୀର ଦେ’ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ ଲେଖି ଶୋକ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ।’
କଟକ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ରହିଛନ୍ତି ସମୀର । ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।