FeaturedLatestNews

ଆସୁଛି ଲଘୁଚାପ, ୨୩ରୁ ପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା

ଭୁବନେଶ୍ବର (ସଂକେତ ଟିଭି): ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି, ଯାହାର ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗିରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ଆସନ୍ତା ୨୪ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହି ଲଘୁଚାପ ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ବର୍ଷା ଆହୁରି ବୃଦ୍ଧି ପାଇବ ଏବଂ ୨୬ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

ୟେଲୋ ୱାର୍ଣ୍ଣିଂ ଜାରି: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା, ବଜ୍ରପାତ ଏବଂ ୩୦-୪୦ କିମି ବେଗରେ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ଓ ବଜ୍ରପାତ ପାଇଁ ସତର୍କତା ଜାରି ରହିଛି।

ଆସନ୍ତାକାଲିର ପୂର୍ବାନୁମାନ: ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବା ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ଓ ପ୍ରବଳ ବଜ୍ରପାତ ରହିପାରେ।

ଲଘୁଚାପର ପ୍ରଭାବ: ୨୩ ତାରିଖରୁ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ ଏବଂ ୨୪ ଓ ୨୫ ତାରିଖରେ ଏହାର ପ୍ରଭାବ ଅଧିକ ରହିବ। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି।

ସତର୍କତା: ପାଣିପାଗ ବିଭାଗ ସମସ୍ତଙ୍କୁ ସତର୍କ ରହିବାକୁ ସୁଚନା ଦେଇଛି, ବିଶେଷକରି ଯାତାୟତ ଓ କୃଷି କ୍ଷେତ୍ରରେ ଅଧିକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।