FeaturedLatestNews

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା, ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର (ସଂକେତ ଟିଭି): ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁଯାୟୀ, ଅକ୍ଟୋବର ୨୧ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଆଗାମୀ ତିନି ଦିନ ବର୍ଷା ଓ ବଜ୍ରପାତ ସତର୍କତା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ଅନୁସାରେ, ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହୋଇପାରେ। ତେବେ, ଏହି ତୁଫାନର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡିବାର ସମ୍ଭାବନା କମ୍ ଅଛି।

ଆଗାମୀ ତିନି ଦିନ ଯାଏଁ ରାଜ୍ୟର ପାଣିପାଗ ରୂପରେଖ ବଦଳିବାର ସମ୍ଭାବନା ନାହିଁ। ମଙ୍ଗଳବାରରୁ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇପାରେ। ଦକ୍ଷିଣ ଓଡ଼ିଶା ସମେତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା କରାଯାଇଛି। ପାଣିପାଗ ବିଭାଗ କହିଛି ଯେ ଲୋକଙ୍କୁ ଭୟଭୀତ ହେବାର କୌଣସି କାରଣ ନାହିଁ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ରାୟଗଡା, ମାଲକାନଗିରି, ଓ କୋରାପୁଟ ଆଦି ଜିଲ୍ଲାଗୁଡିକରେ ବିଜୁଳି ଚମକ ଓ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା (ୟେଲୋ ଓ୍ୱାର୍ଣ୍ଣିଂ) ଜାରି କରାଯାଇଛି।